ଭୁବନେଶ୍ୱର,୨/୧୦: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହି ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୭.୬ କିମି ପର୍ଯ୍ୟନ୍ତ ବ୍ୟାପୀଥିବା ବେଳେ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି । ଏହାର ପ୍ରଭାବରେ ଆସନ୍ତା ଅକ୍ଟୋବର ୭ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗିରହିବ । ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ତେଣୁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସୂଚନା ଅନୁସାରେ, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଅପରାହ୍ଣରେ ଜାରି ଏକ ସତର୍କ ସୂଚନା ଜାରି କରିଛି । ଏଥିରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଅକ୍ଟୋବର ୩ ତାରିଖ ମଧ୍ୟାହ୍ନ ସୁଦ୍ଧା ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର, କେନ୍ଦୁଝର, ପୁରୀ, ଗଞ୍ଜାମ ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
୪ ତାରିଖ ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଏଥିରେ କୁହାଯାଇଛି । କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ବରଗଡ, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟାଗଡ଼ା, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ତେଣୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୫ ତାରିଖରେ କୋରାପୁଟ, ନବରଙ୍ଗପୁର, କାଳାହାଣ୍ଡି, ବଲାଙ୍ଗିର, ନୂଆପଡା, ସୋନପୁର, ବୌଦ୍ଧ, କନ୍ଧମାଳ, ସମ୍ବଲପୁର, ଅନୁଗୁଳ, ମୟୂରଭଞ୍ଜ, କଟକ, ଢେଙ୍କାନାଳ ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
୬ ତାରିଖରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡା, ନବରଙ୍ଗପୁର, ବରଗଡ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଝାରସୁଗୁଡା ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବା । ସେଥିପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ସେହିପରି ୭ ତାରିଖରେ ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସେଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।
ଅପରପକ୍ଷରେ ପ୍ରବଳ ବର୍ଷା ଯୋଗୁଁ ଜଳବନ୍ଦୀ ସମସ୍ୟାଠାରୁ ଆରମ୍ଭ କରି ବନ୍ୟା, ଭୂ-ସ୍ଖଳନ ଆଦି ପରିସ୍ଥିତି ପାଇଁ ଅଗ୍ନିଶମ ବିଭାଗର ସହାୟତା ଲୋଡ଼ିବା ସହ ସମସ୍ତ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର୍ (ଏସ୍ଆରସି) ପ୍ରଦୀପ ଜେନା ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରବଳ ବର୍ଷା ହେବାକୁ ଥିବା ଅଞ୍ଚଳଗୁଡ଼ିକ ଉପରେ ନଜର ରଖିବାକୁ କୁହାଯାଇଛି । ଏହି ଅବଧି ମଧ୍ୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।